You are currently viewing ପ୍ରତ୍ୟେକ କ୍ଷେତ୍ରରେ କାମ ଏମିତି ହୋଇଛି ଯେ ଆମର ବ୍ରାଣ୍ଡିଂ ଲୋଡ଼ା ନାହିଁ- ସୁଲତା ଦେଓ
ପ୍ରତ୍ୟେକ କ୍ଷେତ୍ରରେ କାମ ଏମିତି ହୋଇଛି ଯେ ଆମର ବ୍ରାଣ୍ଡିଂ ଲୋଡ଼ା ନାହିଁ- ସୁଲତା ଦେଓ

ଭୁବନେଶ୍ୱର: ଓଡ଼ିଶା ସରକାର ନିଜର ବ୍ରାଣ୍ଡିଂ କରୁଛନ୍ତି ବୋଲି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କହିଲା ପରେ ଏବେ ରାଜ୍ୟ ରାଜନୀତିରେ ଝଡ଼ ଶୃଷ୍ଟି ହୋଇଛି। ବ୍ରାଣ୍ଡିଂ କଥାକୁ ନେଇ ବିଜେଡି ମଧ୍ୟ ଚୁପ ରହିନି।

ବିଜେଡିର ରାଜ୍ୟସଭା ସାଂସଦ ସୁଲତା ଦେଓ କହିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ ଯେଉଁ ଅଭିଯୋଗ ଆଣିଛନ୍ତି ତାହା ଅମୂଳକ ଏବଂ ଭିତ୍ତିହୀନ। ଜନମାନସରେ ତିଷ୍ଠି ରହିବା ପାଇଁ ସେ ମଝିରେ ମଝିରେ ଏଭଳି ଅବାନ୍ତର କଥା କୁହନ୍ତି।

ଏକ ପ୍ରେସ ବିବୃତିରେ ଶ୍ରୀମତି ଦେଓ କହିଛନ୍ତି ଯେ, ଅପରାଜିତା ମ୍ୟାଡମ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇ ଓଡ଼ିଶାରେ ପାଇଁ ଦୀର୍ଘ ବର୍ଷ କାମ କରିଛନ୍ତି । ତେଣୁ ସେ ନିଶ୍ଚୟ ଭଲ ଭାବରେ ଅନୁଭବ କରିଥିବେ ନବୀନ ପଟ୍ଟନାୟକ ଶାସନଭାର ଗ୍ରହଣ କଲାବେଳେ ଓଡ଼ିଶା କେଉଁଠି ଥିଲା ଏବଂ ଆଜି ଓଡ଼ିଶା କେଉଁଠି ପହଞ୍ଚିଛି ।

କିନ୍ତୁ ସମ୍ଭବତଃ ବିରୋଧୀ ଦଳରେ ଥିବାରୁ ବାଧ୍ୟବାଧକତାରେ ସେ ଏପରି କହୁଛନ୍ତି । ଆମ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି । ତେଣୁ ସେ କମ୍ କଥା ଏବଂ କାମ ବେଶି କରନ୍ତି । ପ୍ରତ୍ୟେକ କ୍ଷେତ୍ରରେ କାମ ଏମିତି ହୋଇଛି ଯେ ଆମର ବ୍ରାଣ୍ଡିଂ ଲୋଡ଼ା ନାହିଁ ।

ଓଡିଶା ଦେଶର ଚତୁର୍ଥ ସର୍ବାଧିକ ଧାନ ଉତ୍ପାଦନକାରୀ ରାଜ୍ୟ ହେବା ସହିତ ଚାଉଳରେ ବଳକା ରାଜ୍ୟ ହୋଇପାରିଛି । ସରକାର କୃଷି ଓ ଜଳସେଚନ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦେବା ସହ କୃଷକଙ୍କ ଆୟ ଦ୍ୱିଗୁଣିତ କରିଛନ୍ତି ।

ସେହିପରି ଶିଳ୍ପ କ୍ଷେତ୍ରରେ ବିପୁଳ ପୁଞ୍ଜିନିବେଶ ଯୋଗୁଁ ଓଡ଼ିଶା ଦେଶର ଅନ୍ୟତମ ଶିଳ୍ପ ସମୃଦ୍ଧ ରାଜ୍ୟରେ ପରିଣତ ହୋଇଛି । ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଜରିଆରେ ଓଡ଼ିଶାର ୧୦ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ ଲାଗି ଦେଶବିଦେଶର ଶିଳ୍ପସଂସ୍ଥାମାନେ ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶିକ୍ଷା ଭିତ୍ତିଭୂମିର ବିକାଶ ଓ ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାକୁ ଏକ ନୂତନ ଉଚ୍ଚତାକୁ ନେଇଛନ୍ତି ବୋଲି ଶ୍ରୀମତି ଦେଓ କହିଛନ୍ତି ।