ଭୁବନେଶ୍ୱର। ରାଜ୍ୟ ସରକାରଙ୍କୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ । ବିଜେପି ଯୁବ ମୋର୍ଚ୍ଚାର ସଦସ୍ୟଙ୍କୁ ଆନ୍ଦୋଳନ ସମୟରେ ଆକ୍ରମଣ କରିବା କେତେ ଦୂର ଯୁକ୍ତି ଯୁକ୍ତ ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ତା ସହିତ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ବ୍ୟବସ୍ଥା ଓ ଶିଶୁ ମାତୃ ମୃତ୍ୟୁ ହାର ପ୍ରସଙ୍ଗରେ ମଧ୍ୟ ସରକାରଙ୍କୁ ଘେରିଲେ । ଏହି ଅବସରରେ ଗୃହମନ୍ତ୍ରୀ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ଏହି ବିଷୟରେ ଦୃଷ୍ଟି ଦିଅନ୍ତୁ ବୋଲି ସେ ମତ ଦେଇଛନ୍ତି ।
ଏହାର ଜବାବରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟରରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଯେଉଁଥିରେ ଯୁବ ମୋର୍ଚ୍ଚାର କର୍ମୀ ପୋଲିସକୁ ଲହୁଲୁହାଣ କରୁଥିବା ଦୃଶ୍ୟମାନ ଦେଖିବାକୁ ମିଳୁଛି। ପ୍ରଣବ ଲେଖଛନ୍ତି, ଭାଇ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଈରାଶିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ । ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ଵରେ ପୁଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା । ଆପଣ ନିଶ୍ଚୟ ଦେଖିଥିବେ।
ଏଭଳି ନେତାଙ୍କୁ ସମର୍ଥନ କରି ଆପଣ ଓଡ଼ିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି? ଆପଣ ଯାହାଙ୍କୁ ବିରୋଧୀଦଳର ନେତା କରିଛନ୍ତି, ସେ ମଧ୍ୟ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ଜଘନ୍ୟ ହତ୍ୟା ମାମଲାରେ ସଂପୃକ୍ତ ।ସ୍ଵାସ୍ଥ୍ୟ ଆଳରେ ଜାମିନରେ ଆସିଲା ପରେ ମଧ୍ୟ ସେ ଅପରାଧ ଘଟାଇ ଚାଲିଛନ୍ତି।
ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ । ଓଡ଼ିଶାବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ପ୍ରତ୍ୟାଖ୍ୟାନ କଲେ। ଆମେ ଭାବିଥିଲୁ, ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ।
ମାତ୍ର ଆଜି ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ମୋର ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ । ଏଭଳି ଅପରାଧିକ ତତ୍ତ୍ଵକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନହେଲେ ଭବିଷ୍ୟତରେ ଏ ଦୁଇ ନେତା ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କହିଛନ୍ତି ପ୍ରଣବ ପ୍ରକାଶ ।
ଦେଖନ୍ତୁ ଭିଡିଓ…. https://twitter.com/pranabpdas/status/1632736943304851456?s=20
